ଏସସି/ଏସଟି ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଂଟକୁ ଗଲା ୧୦୧ କୋଟି ଟଙ୍କାର ବୃତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନସିଙ୍ଗ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ ,୫୦ ହଜାର ଛାତ୍ରଛାତ୍ରୀଙ୍କୁ ବୃତି , ମାତୃଭାଷା ଭିତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମ ରେ ଅଧିକ ଦକ୍ଷତା ଓ ସ୍ୱଚ୍ଛତା ଆଣିବାରେ ସହାୟକ ହେବ । ଏ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଲେ ଯେ ଶିକ୍ଷା ହେଉଛି ପରିବର୍ତନର ଆଧାର । ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି । ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତମ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି । ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ୱାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢି ପାରିବେ । ସେହିପରି ହଷ୍ଟେଲ ରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ,ଓଡିଶା ରାଜ୍ୟ ବୃତି ପୋର୍ଟାଲ ରେ ମାଟ୍ରିକ୍ ପରବର୍ତୀ ଛାତ୍ରବୃତି ସିଧା ସଳଖ ବ୍ୟାଙ୍କ ଆକାଉଂଟରେ ପ୍ରଦାନ କରାଯାଉଛି । ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ପ୍ରାଥମିକ ସ୍ତରରେ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ପାଇଁ ସଂହତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିରେ ୧.୫ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସେହିପରି ହଷ୍ଟେଲ ମାନଙ୍କରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ମୋ ଛତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କର ଯାଇଛି । ଏହା ଦ୍ୱାରା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା ୬୭୦୦ ହଷ୍ଟେଲର ୫.୭୫ ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ । ସେହିପରି ଓଡିଶା ରାଜ୍ୟ ବୃତି ପୋର୍ଟାଲ ଜରିଆରେ ୫୦ ହଜାର ଛାତ୍ରଛାତ୍ରୀଙ୍କୁ ୧୦୧ କୋଟି ଟଙ୍କା ପରିମାଣର ବୃତି ପିଲାମାନଙ୍କ ବ୍ୟାଙ୍କ ଆକାଉଂଟ କୁ ସିଧାସଳଖ ପ୍ରଦାନ କରାଯାଇଛି । ଏହି ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲାରେ ୩ ଟି ଆକାଂକ୍ଷା ହଷ୍ଟେଲ ଉଦଘାଟନ କରିଥିଲେ । ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୬୮ଟି ଛତ୍ରାବାସ ଲୋକାର୍ପିତ କରିଥିଲେ । ଏହି ଛତ୍ରାବାସ ଗୁଡିକ ପାଇଁ ୧୫୦ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର । ପ୍ରୟାସ ଯୋଜନାରେ ୭୫୦୦ ରୁ ଅଧିକ ଏସଟି,ଏସସି ଓ ଓବିସି ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଭିତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡିଶା ସ୍କିଲ ଡେଭଲପମେଂଟ ଅଥରିଟି ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି । ଏହି କାର୍ଯ୍ୟକ୍ରମରେ ଅଜୀମ ପ୍ରେମଜୀ ଫିଲାନଥରପିକ୍ ଇନିସିଏଟିଭ୍ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଦ୍ୱାରା ଆମର ୩୫୦୦ ପିଭିଟିଜି ଚାଷୀ, ୨୩ ହଜାର ଶିଶୁ ଏବଂ ୨୫ ହଜାର ମା ଉପକାର ପାଇବେ । ଏହି କାର୍ଯ୍ୟକ୍ରମ ରାଜ୍ୟର ୧୧୩୮ ଟି ପିଭିଟିଜି ଗ୍ରାମରେ କାର୍ଯ୍ୟକାରୀ ହେବ । ଏହି କାର୍ଯ୍ୟକ୍ରମ ଗୁଡିକ ଦ୍ୱାରା ଆମର ଜନଜାତି , ଜାତି ପିଲାମାନେ ଆଗକୁ ବଢିବା ସହିତ ସେମାନଙ୍କର ପ୍ରକୃତ ସଶକ୍ତିକରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରୁ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଆଜିର କାର୍ଯ୍ୟକ୍ରମ ଦ୍ୱାରା ଜନଜାତି , ଜାତି ଛାତ୍ରଛାତ୍ରୀ ମାନେ ଆଗକୁ ବଢିବା ସହିତ ଓଡିଶା ର ବିକାଶ ରେ ଯୋଗଦାନ ରଖିପାରିବେ ବୋଲି କହିଥିଲେ । ସେହିପରି ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଙ୍ଗ ଜରିଆରେ ଯୋଗ ଦେଇ ଅଭିଭାଷଣ ରଖିଥିଲେ । ଆପଦଗ୍ରସ୍ଥ ଜନଜାତିଙ୍କ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ନବରଙ୍ଗପୁର ଓ କେଉଁଝର ର ଦୁଇଜଣ ବୃତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଙ୍ଗ ଜରିଆରେ ନିଜର ମତାମତ ରଖି ଏହାଦ୍ୱାରା ସେମାନଙ୍କର ଉଚ୍ଚଶିକ୍ଷା ରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି କେ ଜେନା ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ,ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Comments (0)
Add Comment