ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତି ଉନ୍ମୋଚିତ

କଟକ: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ଜାତିର ପିତା ମହାତ୍ମାଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତି ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଂଟନମେଂଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଏକ ପ୍ରତିମୂର୍ତି ଅନାବରଣ କରିଥିଲେ । ଏହାକୁ ମାନବତାର ପ୍ରତିମୂର୍ତି ନାମରେ ନାମିତ କରାଯାଇଛି । ଆୟୋଜିତ ଉତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଓଡ଼ିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖୀ ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି । ତେଣୁ ସେ ଥିଲେ ମାନବତାର ମହାନ ଉଦ୍ଗାତ୍ । ଗୋପପନ୍ଧୁଙ୍କ ମୂର୍ତି ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବା ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ । ମହାତ୍ମାଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମାଗାନ୍ଧୀ ତାଙ୍କର ଓଡ଼ିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡ଼ିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭୁ୍ୟ ଛକରେ ନିର୍ମିତ ଗାନ୍ଧୀ ଭିତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନେ୍ଦାଳନ ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ୱକୁ ଭାରତର ଶ୍ରେଷ୍ଠ ଅବଦାନ । ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ଭାରତର ଶ୍ରେଷ୍ଠ ଅବଦାନ । ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମାଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡ଼ିଶା ଆସିଥିଲେ ଏବଂ ଓଡ଼ିଶାର ବିଭିନ୍ନ ଅଂଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ଼ ସମର୍ଥନ ଦେଇଥିଲେ । ଆଜି ଉତ୍କଳ ଦିବସ ଅବସରରେ ବିଂଶ ଶତାଦ୍ଧୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

Comments (0)
Add Comment