ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଦିବସକୁ କୃଷକ ଦିବସ ରୂପେ ପାଳନ କରୁଛନ୍ତି ରାଜ୍ୟ ସରକାର । ଆଜି ଅଖି ମୁଠି ଅନୁକୂଳ ପାଇଁ ପାଗ ସମ୍ପୂର୍ଣ୍ଣ ଉପଯୋଗୀ ରହିଛି । ମୁଖ୍ୟମନ୍ତ୍ରୀ ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ସାହାଯ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ପୂର୍ବତନ ସାଂସଦ ପ୍ରସନ୍ନ ପାଟଶାଣୀ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଛା ଜଣାଇଛନ୍ତି ।ଏହାପରେ ସେ ଲୋକସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ । ପୁଷ୍ଟିହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟଶସ୍ୟର ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ ଆଉଟଲେଟ୍ ଖୋଲା ଯାଇ ସାରିଲାଣି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ । ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘ ସେଣ୍ଟ୍ରାଲ କମାଣ୍ଡ ଆଣ୍ଡ କଣ୍ଟେ୍ରାଲ୍ ସିଷ୍ଟମ ‘ ଭାବେ କାର୍ଯ୍ୟ କରିବ । କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରିପାରିବ । ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି । କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ।
ଏହା ସହିତ ଲୋକ ସେବା ଭବନରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଶିଶୁ ସନ୍ତାନମାନଙ୍କ ପାଇଁ ଏକ କ୍ରେଚ୍’କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ । ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

4 × 3 =