ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କୁ ଆଜି ରାଜ୍ୟ ଶାଖା ବିଜେପିର ସଭାପତି ଭାବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତ କରିଛନ୍ତି । ସେ ଦଳର ବିଦାୟୀ ସଭାପତି ସମୀର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ । ଆସନ୍ତା ୨୦୨୪ ବିଧାନସଭା ଓ ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ଦଳର ମଙ୍ଗ ସମ୍ଭାଳିବେ । ପୂର୍ବରୁ ମଧ୍ୟ ସେ ବିଜେପିର ଓଡ଼ିଶା ସଭାପତି ଥିଲେ । ୧୯୯୯-୨୦୦୦ ଓ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ଦଳର ସଭାପତି ଦାୟିତ୍ୱ ନିର୍ବାହ କରିଥିଲେ । ସୂଚନାଯୋଗ୍ୟ, ଶ୍ରୀ ସାମଲ ୧୯୫୯ ମସିହାର ଅପ୍ରେଲ ମାସ ୧୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । କଳା ଏବଂ ଓକିଲାତିରେ ସ୍ନାତକ ଶ୍ରୀ ସାମଲ ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ ସେ ଭଦ୍ରକ କଲେଜରେ ପାଠ ପଢ଼ୁଥିବା ବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ଏହି ସମୟରେ ସେ ଏବିଭିପିର ସଦସ୍ୟ ହୋଇଥିଲେ । ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ସେ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ସେ ୨୦୦୪ ମସିହାରେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ମନମୋହନ ୨୦୦୪ ମସିହାରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ । ବିଜେପି-ବିଜେଡି ମେଣ୍ଟ ଥିବା ବେଳେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ରାଜସ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଏହାଛଡ଼ା ଶ୍ରୀ ସାମଲ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ । ସଭାପତି ଭାବେ ନିଯୁକ୍ତ ହେବା ପରେ ମନମୋହନ ସାମଲ କହିଛନ୍ତି, ରାଜ୍ୟରେ ଚାଲିଥିବା ସରକାର ଅନ୍ୟାୟ, ଅତ୍ୟାଚାରରେ ବୁଡ଼ିଛି । ଅନ୍ୟାୟ, ଅତ୍ୟାଚାର ଓ ଦୁର୍ନୀତି ବିରୋଧରେ ଲଢ଼ିବ ବିଜେପି । ଓଡ଼ିଶାରେ ଦୁର୍ନୀତିଗ୍ରସ୍ତ ଶାସନ ଚାଲିଛି, ତାକୁ ୨୦୨୪ରେ ପରିବର୍ତ୍ତନ କରାଯିବ । ଲୋକଙ୍କ ଅପେକ୍ଷା ରହିଛି ବିକଳ୍ପ ସରକାର, ଆମେ ସେହି ବିକଳ୍ପ ଦେବୁ ।