ଭୁବନେଶ୍ୱର : ଆସନ୍ତାକାଲି ମଙ୍ଗଳବାର ଦିନ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତୃତୀୟଥର ପାଇଁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ପରେ ସେଠାରୁ ରାଜଭବନ ଯିବେ । ଉକ୍ତଦିନ ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ର ଯାପନ କରିବେ । ତା’ପର ଦିନ ଅଥବା ୨୬ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ସେହିଦିନ କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ । ୨୭ତାରିଖରେ ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିବା ସହ ଭଦ୍ରକ ଯାଇ ଭଦ୍ରକ ସ୍ୱୟଂଶାସିତ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେଇ ନୂଆଦିଲ୍ଲୀ ଫେରିଯିବେ । ତିନିଦିନିଆ ମହାମହିଙ୍କ ଓଡ଼ିଶା ଗ୍ରସ୍ତ ନେଇ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏନେଇ ବ୍ଲୁ ବୁକ୍ ଗାଇଡଲାଇନରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ । ରାଷ୍ଟ୍ରପତିଙ୍କ କାରକେଡ ଦାୟିତ୍ୱରେ ଏସପି ରାଙ୍କ ଅଧିକାରୀ ରହିବେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ଫାଇନାଲ ରିହରସିଆଲ କରାଯାଇଛି । ବିମାନବନ୍ଦରରୁ ରାଜଭବନ ପରେ ରାଜଭବନରୁ କାର୍ଯ୍ୟକ୍ରମ ସ୍ଥାନକୁ ଫୁଲ କାରକେଡ ରିହରସିଆଲ କରାଯାଇଛି ।